28
ଆୟୁବ - ଜ୍ଞାନର ଅବସ୍ଥିତି କେଉଁଠାରେ?
ନିଶ୍ଚୟ ରୂପାର ଆକର ଅଛି
ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।
ମୃତ୍ତିକାରୁ ଲୁହା କଢ଼ାଯାଏ
ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।
ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ
ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର
ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।
ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ;
ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି;
ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।
ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ
ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।
ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ
ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।
କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ,
କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି,
ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।
ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ;
ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।
10 ସେ ଶୈଳ ମଧ୍ୟରେ ନାଳ କାଟେ
ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।
11 ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ;
ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।
12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ?
ଓ ବୁଦ୍ଧିର ସ୍ଥାନ କାହିଁ?
13 ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ;
କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।
14 ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’
ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’
15 ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ,
କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।
16 ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ,
ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।
17 ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ;
କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।
18 ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ;
କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।
19 କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ,
କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।
20 ତେବେ ଜ୍ଞାନ କେଉଁଠାରୁ ଆସେ?
ଓ ବୁଦ୍ଧିର ସ୍ଥାନ କାହିଁ?
21 ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ
ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।
22 ବିନାଶ ଓ ମୃତ୍ୟୁୁ କହନ୍ତି,
‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’
23 ପରମେଶ୍ୱର ତହିଁର ପଥ ଜାଣନ୍ତି
ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।
24 କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ
ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି
25 ବାୟୁର ଓଜନ ନିରୂପଣ କରନ୍ତି
ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।
26 ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ
ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;
27 ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ;
ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।
28 ପୁଣି, ସେ ମନୁଷ୍ୟକୁ କହିଲେ,
‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ
ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’ ”