31
ଆୟୁବଙ୍କ ଶେଷ ବିନତି
ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି;
ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ
ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ
ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ
ଓ ମୋହର ପାଦଗତି ଗଣନ୍ତି ନାହିଁ?
ଯଦି ମୁଁ ଅସାରତାରେ ଗତାୟାତ କରିଥାଏ
ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ,
ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।
ଯଦି ମୋହର ପାଦ ବିପଥରେ ଯାଇଥାଏ
ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ
ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ;
ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।
ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ
ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
10 ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ*ଅନ୍ୟର ଚକି ପେଷୁ ଅର୍ଥାତ୍‍ ଅନ୍ୟର ଦାସୀ ହେଉ
ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।
11 କାରଣ ତାହା ଗୁରୁତର ଦୋଷ;
ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;
12 କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି
ଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।
13 ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ,
ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
14 ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି?
ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?
15 ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ?
ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
16 ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ,
ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
17 ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ
ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
18 (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା
ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)
19 ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ,
ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
20 ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ
ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
21 ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି
ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
22 ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ
ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ।
23 କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା
ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।
24 ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ
ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
25 ମୋହର ସମ୍ପଦ ଅତିଶୟ ହେବାରୁ
ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;
26 ସୂର୍ଯ୍ୟ ଦୀପ୍ତି ଦେବା ବେଳେ
ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
27 ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ
ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;
28 ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା;
ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।
29 ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ,
ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
30 (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ
ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);
31 ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି,
‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’
32 ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ;
ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
33 ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା
ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
34 ମହାଜନତାକୁ ଭୟ କରିବାରୁ
ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ
ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ -
35 ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା!
(ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ),
ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!
36 ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି
ଓ ମୁକୁଟ ପରି ତାହା ବାନ୍ଧନ୍ତି।
37 ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି;
ଶାସକ ପରି ତାହାର ନିକଟକୁ ଯାଆନ୍ତି।
38 ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ
ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
39 ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ,
ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
40 ତେବେ ଗହମ ବଦଳେ କଣ୍ଟକଲତା
ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।”
ଆୟୁବଙ୍କ କଥା ସମାପ୍ତ ହେଲା।

*31:10 ଅନ୍ୟର ଚକି ପେଷୁ ଅର୍ଥାତ୍‍ ଅନ୍ୟର ଦାସୀ ହେଉ