33
ପ୍ରଶଂସା ଗୀତ
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର;
ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ;
ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।
ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;
ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର।
କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ;
ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି;
ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ,
ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି;
ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।
ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ;
ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।
ସେ କହିବା ମାତ୍ରେ ସୃଷ୍ଟି ହେଲା,
ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।
10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି;
ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।
11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ;
ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।
12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ;
ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
13 ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି;
ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
14 ସେ ଆପଣା ନିବାସ-ସ୍ଥାନରୁ
ପୃଥିବୀନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି,
ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ;
କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
17 ରକ୍ଷାର୍ଥେ ଅଶ୍ୱ ମିଥ୍ୟା;
କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି,
ତାହାଙ୍କ ଦୟାରେ ଭରସା ରଖନ୍ତି,
19 ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ
ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ
ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
20 ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି;
ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ,
କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।
22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା
କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।