38
ଦୁଃଖୀର ପ୍ରାର୍ଥନା
ଦାଉଦଙ୍କର ଗୀତ, ସ୍ମରଣୋପାୟ।
ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ;
କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।
କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି
ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।
ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ;
ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।
କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି;
ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ
ଓ ବିକୃତ ହୋଇଅଛି।
ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି।
ମୁଁ ସାରାଦିନ ଶୋକ କରି ବୁଲୁଥାଏ।
କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ
ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି।
ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି
ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10 ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି;
ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।
11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ
ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି
ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
12 ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି;
ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି,
ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
13 ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ;
ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
14 ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ,
ଏପରି ଲୋକ ତୁଲ୍ୟ ହୁଏ।
15 କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ;
ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
16 କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ;
ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”
17 ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ
ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।
18 ମୁଁ ଆପଣା ଅପରାଧ ପ୍ରକାଶ କରିବି;
ମୁଁ ଆପଣା ପାପ ଲାଗି ଖେଦିତ ହେବି।
19 ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ;
ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି,
ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
21 ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ;
ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
22 ହେ ପ୍ରଭୋ, ମୋହର ପରିତ୍ରାଣ,
ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।