80
ଜାତିର ପୁନଃରୁଦ୍ଧାର ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ।
 
ହେ ଇସ୍ରାଏଲର ପାଳକ,
ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର;
କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର
ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।
ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ
ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର,
ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ
ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ
ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ;
ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ
ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ;
ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।
ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ,
ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ
ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।
11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା
ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ,
ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?
13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ
ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି।
14 ହେ ସୈନ୍ୟାଧିପତି ପରମେଶ୍ୱର,
ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର
ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି;
ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ,
ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ;
ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
19 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ;
ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।